ରଜ ପାଳନର ପୌରାଣିକ କଥା
(ଓଡ଼ିଶା ଫାଷ୍ଟ ବ୍ୟୁରୋ) ଆଷାଢ ମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା’ନ୍ତି । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା’ ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଉଜାଡ଼ି ଦିଏ । ମା’ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ ।
ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ, ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି ।