ରଜ ପର୍ବର ବସୁମତୀ ସ୍ନାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ । ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି ।
ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ । ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ । ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ । ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ । ବସୁମାତା ରଜସ୍ୱଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି ।