ପବିତ୍ର ଅକ୍ଷୟ ତୃତୀୟା: ଅଖିମୁଠି ଓ ରଥନିର୍ମାଣ ଅନୁକୂଳ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ପବିତ୍ର ପବିତ୍ର ଅକ୍ଷୟ ତୃତୀୟା । ବଶୈାଖ ମାସ ଶୁକ୍ଳ ପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ରୂପେ ପାଳନ କରାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମା ଲକ୍ଷ୍ମୀଙ୍କ ପୂଜା କରିଥାଏ । ଏହି ତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ ।
ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ୟ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥ ନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ ।