ଖରାଛୁଟି ପରେ କିଭଳି ହେବ ପାଠ ପଢା
ଆସିଲା ନୂଆ ନିୟମାବଳୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ଜାରି କରାଯାଇଛି ନିୟମାବଳୀ। ରାଜ୍ୟରେ ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଜାରି କରାଯାଇଛି ନିୟମାବଳୀ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଓ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି।
ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରିବାକୁ ନିୟମାବଳୀ ଦିଆଯାଇଛି। ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ଭାବେ ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ। ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା, ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ।
ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ ବୋଲି ଚିଠିରେ ଦର୍ଶାଇଛନ୍ତି ଓସେପା କର୍ତ୍ତୃପକ୍ଷ। ଶିକ୍ଷକଙ୍କ ପାଠପଢା ତଥ୍ୟ ବିଦ୍ୟାଳୟରେ ସ୍ୱତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ୍ ପିଲାଙ୍କୁ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ। ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦେଶ ଦିଆଯାଇଛି।