କାଲି ପୌର ନିର୍ବାଚନ, ସକାଳ୮ଟା ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା କାଲି ରାଜ୍ୟର ୫୯ ବିଜ୍ଞାପିତ ଅଞ୍ଚଳ ପରିଷଦ, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ନିର୍ବାଚନ ହେବ । ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ୪ ହଜାର ୩୭୩ ବୁଥରେ ମୋଟ ୪୦ ଲକ୍ଷ ୫୫ ହଜାର ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ନିର୍ବାଚନ ପ୍ରକ୍ରିୟାରେ ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ପ୍ରତି ବୁଥରେ ଦୁଇଟି ଇଭିଏମ୍ ରହିବ। ଗୋଟିଏ ଇଭିଏମ୍ କାଉନସିଲର ବା କର୍ପୋରେଟରଙ୍କ ପାଇଁ ଏବଂ ଅନ୍ୟ ଇଭିଏମଟି ଅଧ୍ୟକ୍ଷ ବା ମେୟରଙ୍କ ପାଇଁ ।

କଟକର ମେୟର, ବାରିପଦାର ଅଧ୍ୟକ୍ଷ ପଦ ପାଇଁ ୧୬ ଜଣ ଏବଂ ଜୟପୁରର ଅଧ୍ୟକ୍ଷ ପଦ ପାଇଁ ୧୮ ଜଣ ପ୍ରାର୍ଥୀ ଥିବାରୁ ଏହି ସବୁ ଜାଗାରେ ଗୋଟିଏ ଲେଖାଏଁ ଅତିରିକ୍ତ ବାଲଟ୍ ୟୁନିଟ୍ ଇଭିଏମ୍ ଲାଗିବ । ସମସ୍ତ ସହରାଞ୍ଚଳରେ ଗୋଟିଏ ଲେଖାଏଁ କେବଳ ମହିଳାଙ୍କ ଦ୍ୱାରା ପରିଚାଳିତ ପିଙ୍କ ବୁଥ୍ ଏବଂ ଆଦର୍ଶ ବୁଥ ରହିବ । ପ୍ରତି ମହାନଗର ନିଗମରେ ୫ଟି ଲେଖାଏଁ ପିଙ୍କ ଓ ମଡ଼େଲ ବୁଥ୍ ରହିବ ।

ନିର୍ବାଚନ ସମୟରେ ହିଂସାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ରାଜ୍ୟରେ ମୋଟ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଭୁବନେଶ୍ବରରେ ୩୦, କଟକରେ ୨୦ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ରହିବେ । ଏହା ସହ ୩୦୦ ମୋବାଇଲ ପାର୍ଟି ମଧ୍ୟ ନିୟୋଜିତ ରହିବେ । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ ।

Leave a comment