ଆହୁରି ୨୪ ଘଣ୍ଟା ଛେଚିବ; ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ହେବା ନେଇ ରେଡ୍ ୱାର୍ଣ୍ଣିଂ

0

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ଆଖପାଖ ଅଞ୍ଚଳରେ ଦୁର୍ବଳ ହେବା ପରେ ପୁଣି ସେଠାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର । ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ସୋନପୁର ଏବଂ ବଲାଙ୍ଗିର ।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା । ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁସାରେ, ବର୍ତ୍ତମାନ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ୧୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି । ୧୨ ତାରିଖ ବେଳକୁ ବର୍ଷାର ପରିମାଣ କମିବାର ପୂର୍ବାନୁମାନ କରାଯାଇଥିବା ସେ କହିଛନ୍ତି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଗତ ୨୪ ଘଣ୍ଟାରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ାରେ ସର୍ବାଧିକ ୧୬୧ ମିମି ବର୍ଷା ରେକର୍ଡ କରାଯାଇଛି । ଭାପୁରରେ ୧୬୦.୨ ମିମି, ଛତ୍ରପୁର ୧୪୨.୨ ମିମି ଓ ନୂଆଗଡ଼ରେ ୧୪୧.୨ ମିମି ଓ ଭୁବନେଶ୍ୱରରେ ୭୬ ମିମି ବର୍ଷା ହୋଇଛି । ରାଜ୍ୟରେ ୮ଟି ସ୍ଥାନରେ ଅତିପ୍ରବଳ ଓ ୪୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।

Leave a comment