ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୨୫ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୨୫ତମ ଶ୍ରାଦ୍ଧ ଦିବସରେ ରାଜ୍ୟବାସୀ ମନେ ପକାଇବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସମଗ୍ର ରାଜ୍ୟରେ ବିଜେଡି ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଜିର ଦିବସକୁ ସେବା ଦିବସ ଭାବେ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସକାଳେ ରାଜ୍ୟ ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହି ଅବସରରେ ରାଜ୍ୟର ପ୍ରଗତି ସହ ଲୋକଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁବାବୁଙ୍କ ଅବଦାନର ସେ ସ୍ମୃତିଚାରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ପ୍ରମୁଖ ସେଠାରେ ଉପସ୍ଥିତ ଥିଲେ ।

ସେହିପରି ବିଜେଡି ପକ୍ଷରୁ ବିନ୍ଦୁସାଗରରେ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ମେୟର ସୁଲୋଚନା ଦାସ, ଓଡ଼ିଶା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ, ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଉପସ୍ଥିତିରେ ଫରେଷ୍ଟ ପାର୍କରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଏବଂ ବିମାନବନ୍ଦର ପ୍ରବେଶ ଦ୍ୱାରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରାଯାଇଥିଲା ।

ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳିପୂର୍ବକ ‘ଓଡ଼ିଶା ମୋ ପରିବାର’ ଜୀବନବିନ୍ଦୁ ଆନୁକୂଲ୍ୟରେ ସବୁ ନିର୍ବାଚନମଣ୍ଡଳୀରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହା ୧୫ ଦିନ ଧରି ଚାଲିବ । ରାଜ୍ୟ ଯୁବ ଜନତା ଦଳ ଅଫିସରେ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ତଥା ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜେଡ଼ି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅରୂପ ପଟ୍ଟନାୟକ ଓ ଅନ୍ୟମାନେ ଯୋଗଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ସଭା ଶେଷରେ ବିଜୁ ଜନତା ଦଳ ପକ୍ଷରୁ କ୍ୟାପିଟାଲ୍ ହସ୍ପିଟାଲ୍ ରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା ।

Leave a comment