ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି। ଝାରସୁଗୁଡାର ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବା ପାଇଁ ଏହି ଚିଠିରେ ଅନୁରୋଧ କରିଛନ୍ତି କେନ୍ଦ୍ର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାରସୁଗୁଡା ଜିଲ୍ଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

ସେହିପରି ଏହି ଚିଠିରେ କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାର ଐତିହାସିକ, ସାମାଜିକ ଓ ସାଂସ୍କୃତିକ ବ୍ୟବସ୍ଥାରେ ଜନଜାତି ସମୁଦାୟର ପ୍ରତିନିଧିତ୍ୱ କାହିଁ କେଉଁ କାଳରୁ ରହିଆସିଛି। ଜନଜାତିକୁ ବାଦ୍ ଦେଇ ଓଡ଼ିଆ ସଭ୍ୟତାର ପରିକଳ୍ପନା ଅସମ୍ଭବ। ଝାରସୁଗୁଡ଼ା କୋଲାବିରାର ଗୋଁଣ୍ଡ ଗଉଁତିଆ ଶହୀଦ କରୁଣାକର ସିଂହ ନାଏକ ଥିଲେ ଗୋଁଣ୍ଡ ସମୁଦାୟର ଅନ୍ୟତମ ସର୍ବମାନ୍ୟ ମୁଖିଆ। ଗୋଁଣ୍ଡୱାନା ଛକକୁ ବିପ୍ଳବୀ ବୀର ତଥା ଶହୀଦ କରୁଣାକର ସିଂହ ନାଏକଙ୍କ ନାଁରେ ନାମିତ କରାଗଲେ ଏହି ମହାନାୟକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ । ଝାରସୁଗୁଡ଼ାବାସୀ ଏବଂ ଗୋଁଣ୍ଡ ସମାଜ ପ୍ରତି ଉପଯୁକ୍ତ ସମ୍ମାନ ମିଳିବ । ଭାରତୀୟ ମୁକ୍ତି ସଂଗ୍ରାମରେ ଗଣ୍ଡ ସମାଜର ତ୍ୟାଗ ଏବଂ ବଳିଦାନ ଅବିସ୍ମରଣୀୟ। ପଶ୍ଚିମାଞ୍ଚଳର ଜନଜାତି ଅଧିନାୟକମାନଙ୍କୁ ସର୍ବଭାରତୀୟ ପାଠ୍ୟଖସଡ଼ାରେ ଯଥାସ୍ଥାନ ଦେବା ପାଇଁ ଆମେ ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ଏହି ଚିଠିରେ ଉଲ୍ଲେଖ କରିଛନ୍ତି ।

Leave a comment